ନିର୍ବାଚନ ଘୋଷଣା ନିଷ୍ପତ୍ତି କମିଶନଙ୍କ ନିଜସ୍ବ ନୁହେଁ: କଂଗ୍ରେସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ କମିଶନର ଘୋଷଣା ଏବଂ ତତ୍‌ସଂଲଗ୍ନ ମାର୍ଗଦର୍ଶିକା ଓଡ଼ିଆ ପଞ୍ଚାୟତିରାଜ ଇତିହାସରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି କଲା। ରାଜ୍ୟ ସରକାର ଓ ତାଙ୍କ ବଚସ୍କର ପାଲଟିଥିବା ରାଜ୍ୟ ନିର୍ବାଚନ କମିଶନ୍‌ ଏହି କଳଙ୍କିତ ଅଧ୍ୟାୟର ସୂତ୍ରଧର ବୋଲି କଂଗ୍ରେସ ଅଭିଯୋଗ କରିଛି। କଂଗ୍ରେସ ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଂଗ୍ରେସ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, ଦେଶରେ କରୋନା ସଂକ୍ରମଣ ଲକ୍ଷେ ୬୮ ହଜାର ଥିବାବେଳେ ରାଜ୍ୟରେ ତାହା ୭୦୭୧। ବିଶେଷଜ୍ଞମାନେ ଏହି ସଂକ୍ରମଣ ଆସନ୍ତା ଫେବୃଆରୀରେ ଶୀର୍ଷରେ ଛୁଇଁବ ବୋଲି ସତର୍କ କରାଇଛନ୍ତି। ବିଜେଡିକୁ ଛାଡ଼ି ରାଜ୍ୟର ସମସ୍ତ ବିରୋଧୀମାନେ ବର୍ତ୍ତମାନ ସମୟରେ ଏହି ସଂକ୍ରମଣକୁ ଦୃଷ୍ଟିରେ ରଖି ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ ଦାବି ରଖିଥିଲେ। ମାତ୍ର ନିର୍ବାଚନ କମିଶନ ସେମାନଙ୍କ ଦାବିକୁ କର୍ଣ୍ଣପାତ କଲେନାହିଁ। ନିର୍ବାଚନ ସଂକ୍ରାନ୍ତୀୟ ବିଜ୍ଞପ୍ତି ଜାରିକଲେ। ଏହା ନିର୍ବାଚନ କମିଶନଙ୍କ ନିଜସ୍ବ ନିଷ୍ପତ୍ତି ନୁହେଁ ବୋଲି ସେ କହିଛନ୍ତି। ସୁଦର୍ଶନ ଆହୁରି କହିଛନ୍ତି, ରାଜ୍ୟ ସରକାରଙ୍କ ପ୍ରରୋଚନାରେ ଏହା କରାଯାଇଛି ଯାହା ନିର୍ବାଚନ କମିଶନଙ୍କ ନିରପେକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଚଳିତ ପଞ୍ଚାୟତ ନିର୍ବାଚନରେ ଓ.ବି.ସି. ଓ ଜନଜାତି ସମ୍ପ୍ରଦାୟର ସାମ୍ବିଧାନିକ ଅଧିକାର ପ୍ରତି ହେୟଜ୍ଞାନ କରାଯାଇଛି। ରାଜ୍ୟର ୫୪ ଶତାଂଶ ଲୋକ ଓବିସି ଓ ୨୨.୫ ଶତାଂଶ ଲୋକ ଜନଜାତି ସମ୍ପ୍ରଦାୟର। ଏହି ୨ ବର୍ଗର ଜନ ସମୁଦାୟକୁ ଚଳିତ ପଞ୍ଚାୟତ ନିର୍ବାଚନାରେ ପ୍ରତାରିତ କରାଯାଇଛି। ଆଦିବାସୀଙ୍କୁ ୨୩ଟି ଜିଲା ଓ ୧୯୫ଟି ବ୍ଲକ୍‌ରେ ସରପଞ୍ଚ ପଦବୀ ଓ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ଦିଆଯାଇ ନାହିଁ। ଓ.ବି.ସି. ସଂରକ୍ଷଣ ସଂକ୍ରାନ୍ତରେ ଆସନ୍ତା ୧୭ରେ ସୁପ୍ରିମକୋର୍ଟ ଶୁଣାଣି କରିବେ। ଯଦି ରାଜ୍ୟ ସରକାର ଓ ନିର୍ବାଚନ କମିଶନଙ୍କର ଓବିସି ବର୍ଗର ସାମ୍ବିଧାନିକ ଅଧିକାର ପ୍ରତି ସମ୍ବେଦନଶୀଳତା ଥାଆନ୍ତା, ତେବେ ପଞ୍ଚାୟତ ନିର୍ବାଚନ ବିଜ୍ଞପ୍ତିକୁ ୧୭ ତାରିଖ ପରକୁ ଘୁଞ୍ଚାଇ ଦେଇପାରିଥାଆନ୍ତେ ବୋଲି ସୁଦର୍ଶନ କହିଛନ୍ତି।