୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ)-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡିଶା ଉପକୂଳରେ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୬ ତାରିଖ ଯାଏ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁରୁ ଏବଂ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଏଲୋଓ୍ବାର୍ଣ୍ଣିଂ ଜାରି କରାଯାଇଛି। ତେବେ ୩ ତାରିଖରୁ ବର୍ଷା ପରିମାଣ ଆହୁରି ବୃଦ୍ଧି ପାଇବା ସମ୍ଭାବନା ରହିଛି। ୩ ତାରିଖରେ କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ଢେଙ୍କାନାଳ ଏବଂ କଟକ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ଅକ୍ଟେବାର ୫ ତାରିଖ ଯାଏ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି। ପରିସ୍ଥିତି ଉପରେ ନଜର ରଖିବାକୁ ଜିଲାପାଳମାନଙ୍କୁ ଗୁରୁବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Share