ଲଘୁଚାପ: ୭ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ରବିିବାର ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ଆସନ୍ତା ୩ ଦିନ ଯାଏ ପ୍ରବଳ ବର୍ଷା ଲାଗିରହିବ। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କଟକ, କେନ୍ଦୁଝର, ଅନୁଗୋଳ, ଦେବଗଡ, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗୀର ଜିଲାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାର ତଳିଆ ଅଞ୍ଚଳ ବର୍ଷା ପାଣିରେ ବୁଡିଯିବା ସହିତ କଚ୍ଚାଘର ଭାଙ୍ଗିବା ସମ୍ଭାବନା ରହିଛି। ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହେବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବ ବୋଲି ସତର୍କ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ୨୧ ତାରିଖରେ ବରଗଡ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡା ଏବଂ ଦେବଗଡ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ ୱାର୍ନିଂ ଜାରି କରାଯାଇଛି।

Share