ରଥକାଠ ଅନୁକୂଳ

ପୁରୀ ଅଫିସ,୫ା୨: ଶ୍ରୀପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ରଥକାଠ ଅନୁକୂଳ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ପୂଜା କରାଯାଇଛି। ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା’ ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିଛନ୍ତି।

ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି । ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତ ୨ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକ୍‌ରେ ୬୩ ଖଣ୍ଡ କାଠ ପୁରୀରେ ଆସି ପହଞ୍ଚିଛି। ଆସନ୍ତା ଅକ୍ଷୟ ତୃତୀୟାରେ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ।