ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଶୁକ୍ରବାର ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲାରେ ଘଡ଼ଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏ ନେଇ ୧୯ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କନ୍ଧମାଳ ଓ ରାୟଗଡା। ଏହି ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା ରହିଛି। ସେହିପରି ୧୬ ତାରିଖରୁ ୧୭ ତାରିଖ ସକାଳ ୮ଟା ୩୦ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର ଓ ପୁରୀରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।